୨୫ରେ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା,୨୬ରୁ ବର୍ଷିବ!

Sep 20, 2021 - 13:52
 72
୨୫ରେ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା,୨୬ରୁ ବର୍ଷିବ!
ଭୁବନେଶ୍ୱର: ସେପ୍ଟେମ୍ୱର ୨୫ ତାରିଖ ବେଳକୁ ପୂର୍ବ-କେନ୍ଦ୍ରୀୟ ତତ-ସଂଲଗ୍ନ ଉତ୍ତର-ପୂର୍ବ ବଙ୍ଗୋପସାଗରରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଘୂର୍ଣ୍ଣିବଳୟ ସୃଷ୍ଟି ହେବା ୪୮ ଘଣ୍ଟା ପରେ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତିକରି ଓଡ଼ିଶା ଉପକୂଳରେ ପହଞ୍ଚିବ। ଏହାର ପ୍ରଭାବରେ ୨୬ ତାରିଖରୁ ରାଜ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସମୟରେ ସମୁଦ୍ର ଅଶାନ୍ତ ରହିବ। ତେଣୁ ସମୁଦ୍ର ଭିତରକୁ ନଯିବା ପାଇଁ ମତ୍ସ୍ୟଜୀବୀମାନଙ୍କୁ ପରାମର୍ଶ ଦିଆଯାଇଛି। ଏନେଇ ସତର୍କ ସୂଚନା ଜାରି କରିଛି ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର। ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାସଙ୍କ କହିବା ଅନୁସାରେ ଗତ ୨୪ ଘଣ୍ଟାରେ ଓଡ଼ିଶା ଉପରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ରହିଛି। ଯାହାର ପ୍ରଭାବରେ ଅନେକ ସ୍ଥାନରେ ହାଲୁକା ଓ ମଧ୍ୟମ ଧରଣରେ ବର୍ଷା ଅନୁଭୁତ ହୋଇଛି। ସର୍ବାଧିକ ବର୍ଷା କଳାହାଣ୍ଡି ଜିଲ୍ଲା ସଦର ମହକୁମା ଭବାନୀପାଟଣାରେ ହୋଇଛି। ଏଠାରେ ୭୯ ମିଲିମିଟର ବର୍ଷା ରେକର୍ଡ କରାଯାଇଛି। ଏହାଛଡ଼ା ଆହୁରି ତିନିଟି ସ୍ଥାନରେ ପ୍ରବଳ ବର୍ଷା ହୋଇଥିବା ରେକର୍ଡ କରାଯାଇଛି ବୋଲି ଶ୍ରୀ ଦାସ କହିଛନ୍ତି।